‏ Job 15

ଇଲୀଫସ୍‍ - ଆୟୁବଠାରେ ଈଶ୍ୱର ଭୟ ନାହିଁ

1ଏଥିଉତ୍ତାରେ ତୈମନୀୟ ଇଲୀଫସ୍‍ ଉତ୍ତର କରି କହିଲା, 2“ଜ୍ଞାନୀ ଲୋକ କ’ଣ ଅସାର ଜ୍ଞାନରେ ଉତ୍ତର ଦେବ ? ଓ ପୂର୍ବୀୟ ବାୟୁରେ ଆପଣା ଉଦର ପୂର୍ଣ୍ଣ କରିବ ? 3ସେ କ’ଣ ଅନର୍ଥକ କଥାରେ ଓ ନିଷ୍ଫଳ ବାକ୍ୟରେ ଯୁକ୍ତି କରିବ ?

4ହଁ, ତୁମ୍ଭେ ତ ଭୟ ଦୂର କରି ଦେଉଅଛ ଓ ପରମେଶ୍ୱରଙ୍କ ସାକ୍ଷାତରେ ଭକ୍ତି କ୍ଷୀଣ କରୁଅଛ। 5କାରଣ ତୁମ୍ଭର ଅପରାଧ ତୁମ୍ଭ ମୁଖକୁ ଶିଖାଉଅଛି ଓ ତୁମ୍ଭେ ଧୂର୍ତ୍ତର ଜିହ୍ୱା ପସନ୍ଦ କରୁଅଛ। 6ତୁମ୍ଭର ନିଜ ମୁଖ ତୁମ୍ଭକୁ ଦୋଷୀ କରୁଅଛି, ମୁଁ କରୁ ନାହିଁ; ଆହୁରି, ତୁମ୍ଭ ନିଜ ଓଷ୍ଠାଧର ତୁମ୍ଭ ବିରୁଦ୍ଧରେ ସାକ୍ଷ୍ୟ ଦେଉଅଛି।

7ମନୁଷ୍ୟମାନଙ୍କ ମଧ୍ୟରେ ତୁମ୍ଭେ କ’ଣ ପ୍ରଥମଜାତ ? ଅବା ପର୍ବତଗଣ ପୂର୍ବରୁ ତୁମ୍ଭେ କ’ଣ ଉତ୍ପନ୍ନ ହୋଇଥିଲ ? 8ତୁମ୍ଭେ କ’ଣ ପରମେଶ୍ୱରଙ୍କର ଗୁପ୍ତ ମନ୍ତ୍ରଣା ଶୁଣିଅଛ ? ଓ ତୁମ୍ଭେ କ’ଣ ଜ୍ଞାନ ଆତ୍ମସାତ୍‍ କରୁଅଛ ? 9ଆମ୍ଭମାନଙ୍କୁ ଅଜଣା କେଉଁ କଥା ତୁମ୍ଭେ ଜାଣୁଅଛ ? ଆମ୍ଭମାନଙ୍କର ଅବୁଝା କେଉଁ କଥା ତୁମ୍ଭେ ବୁଝୁଅଛ ?

10ପକ୍ୱକେଶ ବିଶିଷ୍ଟ ଓ ତୁମ୍ଭ ପିତା ଅପେକ୍ଷା ପ୍ରାଚୀନ ଅତି ବୃଦ୍ଧ ଲୋକେ ଆମ୍ଭମାନଙ୍କ ମଧ୍ୟରେ ଅଛନ୍ତି। 11ପରମେଶ୍ୱରଙ୍କ ସାନ୍ତ୍ୱନା-ବାକ୍ୟ ତୁମ୍ଭ ପ୍ରତି କି କ୍ଷୁଦ୍ର ବିଷୟ ଓ ତୁମ୍ଭ ସହିତ କୋମଳ ଆଳାପ କି ତଦ୍ରୁପ ?

12ତୁମ୍ଭ ମନ ତୁମ୍ଭକୁ କାହିଁକି ବିପଥରେ ନେଇଯାଏ ? ଓ ତୁମ୍ଭର ଚକ୍ଷୁ କାହିଁକି ମଟ୍‍ମଟ୍‍ କରେ 13ଯେ, ତୁମ୍ଭେ ପରମେଶ୍ୱରଙ୍କ ବିରୁଦ୍ଧରେ ଆପଣା ଆତ୍ମାକୁ ଉଠାଉଅଛ ଓ ଆପଣା ମୁଖରୁ ଏପରି କଥା ବାହାରିବାକୁ ଦେଉଅଛ ? 14ମନୁଷ୍ୟ କିଏ ଯେ, ସେ ଶୁଚି ହୋଇପାରେ ? ଓ ସ୍ତ୍ରୀଜାତ ମନୁଷ୍ୟ କିଏ ଯେ, ସେ ଧାର୍ମିକ ହୋଇପାରେ ?

15ଦେଖ, ସେ ଆପଣା ପବିତ୍ରଗଣଠାରେ ବିଶ୍ୱାସ କରନ୍ତି ନାହିଁ; ଆହୁରି, ତାହାଙ୍କ ଦୃଷ୍ଟିରେ ଆକାଶମଣ୍ଡଳ ନିର୍ମଳ ନୁହେଁ। 16ତେବେ ଘୃଣାର୍ହ ଓ ଭ୍ରଷ୍ଟ, ଅଧର୍ମକୁ ଜଳ ପରି ପାନକାରୀ ଯେ ମନୁଷ୍ୟ, ସେ କେଡ଼େ ନ୍ୟୂନ !

17ମୁଁ ତୁମ୍ଭକୁ ଦେଖାଇବି, ମୋ’ କଥା ଶୁଣ; ମୁଁ ଯାହା ଦେଖିଅଛି, ତାହା ପ୍ରକାଶ କରିବି; 18ଜ୍ଞାନୀମାନେ ଆପଣା ଆପଣା ପିତୃଲୋକଙ୍କଠାରୁ ତାହା ପାଇ କହି ଅଛନ୍ତି ଓ ଗୁପ୍ତ କରି ନାହାନ୍ତି;

19କେବଳ ସେମାନଙ୍କୁ ଦେଶ ଦତ୍ତ ହୋଇଥିଲା ଓ କୌଣସି ବିଦେଶୀ ସେମାନଙ୍କ ମଧ୍ୟରେ ଗତାୟାତ କଲା ନାହିଁ; 20ଦୁଷ୍ଟ ଲୋକ ଆପଣାର ଯାବଜ୍ଜୀବନ, ଅର୍ଥାତ୍‍, ଉପଦ୍ରବ ପାଇଁ ନିରୂପିତ ବର୍ଷଯାଏ କ୍ଳେଶ ଭୋଗ କରେ। 21ତାହାର କର୍ଣ୍ଣରେ ତ୍ରାସଜନକ ଶବ୍ଦ ଥାଏ, ସୌଭାଗ୍ୟ ସମୟରେ ଲୁଣ୍ଠନକାରୀ ତାହାକୁ ଆକ୍ରମଣ କରିବ;

22ସେ ଅନ୍ଧକାରରୁ ଫେରି ଆସିବ ବୋଲି ବିଶ୍ୱାସ କରେ ନାହିଁ ଓ ସେ ଖଡ୍ଗ ନିମନ୍ତେ ଅପେକ୍ଷିତ; 23ସେ ଖାଦ୍ୟ ନିମନ୍ତେ ବାହାରେ ବୁଲି କହଇ, ତାହା କାହିଁ ? ଅନ୍ଧକାରର ଦିନ ତାହାର ସନ୍ନିକଟ ବୋଲି ସେ ଜାଣେ। 24ସଙ୍କଟ ଓ ମନସ୍ତାପ ତାହାକୁ ଭୀତ କରେ; ଯୁଦ୍ଧାର୍ଥେ ସସଜ୍ଜ ରାଜା ତୁଲ୍ୟ ତାହା ତାହାକୁ ପରାସ୍ତ କରେ;

25କାରଣ ସେ ପରମେଶ୍ୱରଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିଅଛି ଓ ସର୍ବଶକ୍ତିମାନଙ୍କ ପ୍ରତିକୂଳରେ ଗର୍ବାଚରଣ କରୁଅଛି; 26ସେ ଶକ୍ତଗ୍ରୀବ ହୋଇ ଆପଣା ଢାଲର ସ୍ଥୂଳ ଅଂଶ ଦେଖାଇ ତାହାଙ୍କ ଉପରକୁ ଦୌଡ଼େ;

27ସେ ଆପଣା ମେଦରେ ଆପଣା ମୁଖ ଆଚ୍ଛାଦନ କଲା ଓ କଟିଦେଶ ହୃଷ୍ଟପୁଷ୍ଟ କଲା; 28ଆଉ, ସେ ଉଜାଡ଼-ନଗରରେ ନିବାସୀରହିତ ଓ ଢିପି ହେବାକୁ ଉଦ୍ୟତ ଗୃହରେ ବାସ କଲା।

29ଏଣୁ ସେ ଧନବାନ ହେବ ନାହିଁ, ଅବା ତାହାର ସମ୍ପତ୍ତି ସ୍ଥାୟୀ ହେବ ନାହିଁ; କିଅବା ସେମାନଙ୍କର ଉତ୍ପନ୍ନ ଫଳ ଭୂମିକି ଓହଳିବ ନାହିଁ। 30ସେ ଅନ୍ଧକାରରୁ ପ୍ରସ୍ଥାନ କରିବ ନାହିଁ, ଅଗ୍ନିଶିଖା ତାହାର ଶାଖା ଶୁଷ୍କ କରିବ ଓ ପରମେଶ୍ବରଙ୍କ ମୁଖର ନିଶ୍ୱାସରେ ସେ ଉଡ଼ିଯିବ।
15:30 ସେ ଉଡ଼ିଯିବ। ଅର୍ଥାତ୍ ସେ ମରିଯିବ

31ସେ ଆପଣାକୁ ଭ୍ରାନ୍ତ କରି ଅସାରତାରେ ବିଶ୍ୱାସ ନ କରୁ; କାରଣ ଅସାରତା ହିଁ ତାହାର ପୁରସ୍କାର ହେବ। 32ତାହା ଆପଣା ସମୟ ପୂର୍ବେ ଶେଷ ପାଇବ ଓ ତାହାର ଶାଖା ସତେଜ ହେବ ନାହିଁ। 33ସେ ଦ୍ରାକ୍ଷାଲତା ନ୍ୟାୟ ଆପଣା ଅପକ୍ୱ ଫଳ ଝାଡ଼ି ପକାଇବ ଓ ଜୀତବୃକ୍ଷ ନ୍ୟାୟ ଆପଣା ଫୁଲ ପକାଇ ଦେବ।

34କାରଣ ଅଧାର୍ମିକମାନଙ୍କ ସଙ୍ଗୀଦଳ ଅଫଳ ହେବେ ଓ ଅଗ୍ନି ଲାଞ୍ଚର ତମ୍ବୁସବୁ ଗ୍ରାସ କରିବ। ସେମାନେ ଅନିଷ୍ଟ ଗର୍ଭଧାରଣ କରି ଅଧର୍ମ ପ୍ରସବ କରନ୍ତି ଓ ସେମାନଙ୍କ ଉଦର ପ୍ରତାରଣା ପ୍ରସ୍ତୁତ କରେ।

35

Copyright information for OriULB